25ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
26ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
27ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
28ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
29ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’