4ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
5ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
6ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
7ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
8ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।