3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
4ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
5ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
6ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
7ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”