23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
27ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।