14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
17ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।