1ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।
2ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।
3ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
4କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”