20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
21ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।
23ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
24ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।