16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।
17ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
18ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।
19ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।
20ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।