15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”
16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”
17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।”
19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।”