5ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
7ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”
8କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।
9ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।