22ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।