19ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”
20ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
21ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”
22ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?”
23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”