5ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
6ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
7ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
8ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
9ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”