8ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”
9ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
10ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
11ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।