1ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
3ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
5ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।