9ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।”
11ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
12ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
13ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।