11ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
12ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
13ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
14ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
15ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”