7ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
8ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
9ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।”
11ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?