1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;