1ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
2ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
3ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
4ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”