1ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
2ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
3ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
4ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”