26ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
27ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
29ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
30ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।