15ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।
16ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।
17ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?”
18ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।
19ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”