9ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
10ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
11ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
12ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
13ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।