ବିଳାପ 1

ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।

Lamentations 1:3 (UKJV) Judah is gone into captivity because of affliction, and because of great servitude: she dwells among the heathen, she finds no rest: all her persecutors overtook her between the straits.

1ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!

2ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।

3ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।

4ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।

5ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.