2ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
3ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।
4ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
5ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
6ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।