21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”
23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
25ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?