27ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
28ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।”
29କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?
30ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।
31ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।