17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।