34ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।
35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
36ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।