28ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”
29ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
30କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।
31“ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ?
32ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’