5ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
6ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।
7ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
8ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”
9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।