10ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
11ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
12ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
13ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
14ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?