21ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
22ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
23କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
24ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
25କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।