16ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
17ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
18କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
19ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
20ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।