13ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।