33ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
34ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
35ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
36ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
37ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।