11ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
12ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
13ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
14ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
15ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”