13ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
14ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
15ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
16ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
17ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।