19ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
20ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
21ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
22ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
23ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।