22ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
23ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
24ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
25ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
26ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।