4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
6ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।
7ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
8କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।