13ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
14ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
15ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
16ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
17ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।